ରାଜ୍ୟବାସୀଙ୍କୁ ସତର୍କ ରହି ପ୍ରଶାସନକୁ ସହଯୋଗ କାରିବାକୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ୍-୧୯ ନେଇ ଆଜି ପୁଣିଥରେ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ,”ମାତ୍ର ୧୦ ପ୍ରତିଶତ ଲୋକଙ୍କ ଭୁଲ ଯୋଗୁ ସମସ୍ୟା ୧୦୦ ଗୁଣ ବଢିପାରେ । ତେଣୁ ରାଜ୍ୟବାସୀ ସତର୍କ ରୁହନ୍ତୁ ଓ ପ୍ରଶାସନ ସହ ସହଯୋଗ କରନ୍ତୁ” ।
ଆଜି ଜାରି ହୋଇଥିବା ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, “ଗତ ୧୦ ଦିନ ତଳେ ମୁଁ ଆପଣମାନଙ୍କ ସହିତ କଥା ହୋଇଥିଲି । ସେତେବେଳେ ଆମ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢିଗଲାଣି । କିନ୍ତୁ ଡ଼ରିବାର କିଛି ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡେଇ ପାରିବା” । ସେ କହିଛନ୍ତି, ଓଡିଶା ପ୍ରଥମ ରାଜ୍ୟ, ଯିଏ କି ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ କଲା। ସେତେବେଳେ ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରିଥିଲି । ଆପଣମାନେ ସହଯୋଗ କଲେ। ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ । ତା’ ପରେ ଚ୍ୟାଲେଞ୍ଜ ହେଲା ନିଜାମୁଦିନ୍ରୁ ଫେରୁଥିବା ବନ୍ଧୁମାନଙ୍କ ଠିକ୍ ଭାବରେ ଯତ୍ନ ନେବା । ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କଲି । ଆପଣମାନେ ସହଯୋଗ କଲେ । ଆମେ ଏଥରକ ମଧ୍ୟ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ ।
ଏବେ ଆମର ତୃତୀୟ ଆହ୍ବାନ ହେଉଛି, ପଶ୍ଚିମବଙ୍ଗରୁ ଫେରୁଥିବା ଭାଇଭଉଣୀମାନଙ୍କର ଯତ୍ନ । ରାଜ୍ୟରେ ବର୍ତ୍ତମାନ କରୋନା ପଜିଟିଭମାନଙ୍କ ମଧ୍ୟରୁ କେବଳ ପଶ୍ଚିମବଙ୍ଗ ଫେରନ୍ତା ହେଉଛନ୍ତି ୫୦ । ଆପଣମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ଭଲ ଭାବରେ ମୁକାବିଲା କରିପାରିଛୁ । ପରିସ୍ଥିତି ନିୟନ୍ତ୍ରଣରେ ଅଛି । ତେବେ, ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଦେଶର ସବୁଠାରୁ ଅଧିକ କରୋନା ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ ତଥା ଆମ ପଡୋଶୀ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ। ସେମାନେ ଆମ ଘର ଲୋକ। ବିପଦ ସମୟରେ ମା’ ଓ ମାତୃଭୂମି ଆଗ ଆମ ମନକୁ ଆସିଥାଏ । ସେମାନେ ସମସ୍ତେ ଆମର ପିଲାଛୁଆ । ଆମ ଭାଇଭଉଣୀ । ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ବ। ବାହାରୁ ଲୋକ ଆସିଲେ ପଜିଟିଭ ସଂଖ୍ୟା ବଢିବ। କିନ୍ତୁ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ, ଯଦି ଆପଣମାନେ ସରକାରକୁ ପୁରା ସହଯୋଗ ଯୋଗାଇ ଦେବେ। ତେଣୁ ଆମେ ସାବଧାନ ରହିବା । ଧୈର୍ଯ୍ୟ ରଖିବା । ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ କରିବା । ସେମାନଙ୍କୁ କ୍ବାରେଣ୍ଟାଇନରେ ରଖିବାରେ ସରକାରଙ୍କୁ ପୂରା ସହଯୋଗ କରିବା ।