୯ ଜିଲ୍ଲାରେ ଅତିପ୍ରବଳ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ ବଳୟ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨ଦିନ ପ୍ରର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେମିରୁ ଅଧିକ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସ କହିଛନ୍ତି, ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେଓଗଡ଼, ଅନୁଗୁଳ, ବୌଦ୍ଧ, ନୂଆପଡ଼ା ଓ ସୋନପୁର। ଏନେଇ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ଦିନ ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ୮ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ନବରଙ୍ଗପୁର, ବୌଦ୍ଧ ଓ ବଲାଙ୍ଗୀର।